ରାଜ୍ୟରେ ତାପମାତ୍ରାରେ ପରିବର୍ତ୍ତନ ଘଟି ଦିନକୁଦିନ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜିଠାରୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି । ମୟୁରଭଞ୍ଜ, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ବରଗଡ଼ରେ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି ।
କୋରାପୁଟ, କନ୍ଧମାଳ, ବାଲେଶ୍ୱର, କେନ୍ଦୁଝର, ବୌଦ୍ଧ, ସୋନପୁର, କଳାହାଣ୍ଡି, ନୂଆପଡ଼ା, ଢ଼େଙ୍କାନାଳ, କଟକ ଏବଂ ଦେଓଗଡ଼ ପ୍ରଭୃତି ଜିଲ୍ଲାରେ ଶୀତ ପ୍ରବାହକୁ ଦୃଷ୍ଟିରେ ରଖି ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏ ନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପକ୍ଷରୁ ସବୁ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ଉପଯୁକ୍ତ ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଆଜି ସନ୍ଧ୍ୟା ସୁଦ୍ଧା ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୫ ଦଶମିକ ୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।