ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହୋଇ ଲଘୁଚାପରେ ପରିଣତ -୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା

0 137

୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା

ମିଆଁମାର ଉପକୂଳ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଜି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ପୁଣିଥରେ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ୨୬ ତାରିଖରେ ରାଜ୍ୟର ଏକାଧିକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଝାଡ଼ଖଣ୍ଡର ଦକ୍ଷିଣ-ପୂର୍ବ ଅଞ୍ଚଳରେ ସକ୍ରିୟ ରହିଛି । ମୌସୁମୀଜନିତ ନିମ୍ନ ଚାପରେଖା ରାଜସ୍ତାନରୁ ବାହାରି ବାଲେଶ୍ୱର ଦେଇ ବଙ୍ଗୋପ ସାଗର ପର୍ଯ୍ୟନ୍ତ ଲମ୍ବିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।ଉତ୍ତର-ପୂର୍ବ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଏହାର ପ୍ରଭାବରେ ଆସନ୍ତାକାଲି କେତେକ ସ୍ଥାନରେ ଅଳ୍ପ ପରିମାଣର ବର୍ଷା ହେବା ସହ ରାଜ୍ୟରେ ୨୬ ଓ ୨୭ ତାରିଖରେ ପ୍ରବଳ ବର୍ଷା ହେବ ।

ପାଣିପାଗ ବିଭାଗ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ କଟକ, ପୁରୀ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଜଗତ୍‍ସିଂହପୁର, ଯାଜପୁର, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।


Leave A Reply